ମୋ ସରକାର କାର୍ଯ୍ଯକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଥିଲା। ୨୦୧୯ ଅକ୍ଟୋବର ୨ ତାରିଖରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଗତ ବର୍ଷ ମଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରିଥିଲେ।ସୂଚନାଯୋଗ୍ୟ ଯେ ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି।ବୈଠକରେ ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ଟି ସେବା ମୋ ସରକାର ଅଧୀନକୁ ଆସିଛି । ଆଜି ପର୍ଯ୍ୟନ୍ତ ସମୁଦାୟ ୩.୭୭ କୋଟି ଫିଡବ୍ୟାକ ସଂଗ୍ରହ କରାଯାଇଛି। ମୋ ସରକାରର ୧୧ଟି ପାରାମିଟରରୁ ୯ଟି ପାରାମିଟରରେ ଉନ୍ନତି ଆସିଛି। ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯ ପ୍ରତିଶତ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ସର୍ବୋତ୍ତମ ରହିଛି।ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ଗତ ସମୀକ୍ଷା ଠାରୁ ବର୍ତ୍ତମାନ ମଧ୍ୟରେ ଫିଡବ୍ୟାକ ବ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଜିଲ୍ଲାସ୍ତରରେ ଉତ୍ତମ ଫିଡବ୍ୟାକ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons