ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା । ଏଥିରେ ସାଢେ଼ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ । ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଏହି କାର୍ଡ ପ୍ରଦାନ କରାଯିବ । ଆଜି ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ୭୫ ତମ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଓଡ଼ିଶା ମୋ ପରିବାର । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ । ଏଥିପାଇଁ ସାଢେ଼ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ ।
ସେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ-ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡ଼ିଶା ସମେତ ସାରା ଦେଶର ୨୦୦ ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ଚେନ୍ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହା ସାରା ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ । ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ଼ କରିବାରେ ଏହି ବ୍ୟବସ୍ଥା ବିଶେଷ ଭାବେ ସହାୟକ ହେବ । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପଦକ ଜିତିଥିବାରୁ ଖୁସି ବ୍ୟସ୍ତ କରିବା ସହିତ ଆଗାମୀ ଦିନରେ ଏହାକୁ ବିଶ୍ୱର ଶ୍ରେÂ ଦଳରେ ପରିଣତ କରିବାକୁ ସବୁ ପ୍ରକାର ସହଯୋଗ କରାଯିବ ବୋଲି ଘୋଷଣା କରିଛନ୍ତି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସେ କହିଛନ୍ତି, କୋଭିଡ ସମୟରେ ଦେଶର ୧୭ ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏହା ଓଡ଼ିଶା ପାଇଁ ଗର୍ବର ବିଷୟ ।
ସୂଚନାଯୋଗ୍ୟ, ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।
Comments are closed, but trackbacks and pingbacks are open.